ଚାଷୀକୁ ମିଳିଲା ସୁବର୍ଣ୍ଣରେଖା ପାଣି, ୩୫ହଜାର ହେକ୍ଟର ଜମି ଜଳସେଚିତ ହେବ

ଭୁବନେଶ୍ୱର: ଚାଷୀଙ୍କ ପାଇଁ ଖୁସି ଖବର । ଦୀର୍ଘ ଦିନର ଅପେକ୍ଷା ପରେ ଚାଷୀକୁ ମିଳିଲା ସୁବର୍ଣ୍ଣରେଖା ପାଣି । ଫଳରେ ଆଜି ମୟୂରଭଞ୍ଜ ଜିଲ୍ଲାର ସୁବର୍ଣ୍ଣରେଖା  ଜଳସେଚନ ପ୍ରକଳ୍ପର କେନାଲ ସିଷ୍ଟମରୁ ୧୫,୩୫୯ ହେକ୍ଟର ଚାଷ ଜମିକୁ ପାଣି ଛଡା ଯାଇଛି । ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ଵାରା ମୟୂରଭଞ୍ଜ ଜିଲ୍ଲାର ବାରିପଦା, ବେତନଟୀ, ମୋରଡା, ଶୂଳିଆପଦା ଓ ରାସଗୋବିନ୍ଦପୁର ବ୍ଲକର ୯୪ଟି ଗ୍ରାମର ଚାଷ ଜମିକୁ ଜଳସେଚନର ସୁବିଧା ମିଳିଲା  ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ମୟୂରଭଞ୍ଜ ଜିଲ୍ଲା ଓ ସାରା ଓଡିଶା ପାଇଁ ଏକ ଆନନ୍ଦର ଦିନ । ଏହା ଦ୍ଵାରା ମୟୂରଭଞ୍ଜରେ ଜମିରେ ସୁନାର ଫସଲ ଫଳିବ ।  ସେହିପରି ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଦ୍ଵାରା ମୟୂରଭଞ୍ଜ ଓ ବାଲେଶ୍ଵରର ୧.୦୯ ଲକ୍ଷ  ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିବ ।

ସେହିପରି ମୟୂରଭଞ୍ଜରେ ସ୍ୱାସ୍ଥ୍ୟସେବାର ବିକାଶ ହେଉ ବା ମିଶନଶକ୍ତି କାର୍ଯ୍ୟର ସଫଳ ରୂପାୟନ ହେଉ ବା ଜନଜାତି ମାନଙ୍କର ବିକାଶ  ସବୁ କ୍ଷେତ୍ରରେ ମୟୂରଭଞ୍ଜ ଆଜି ଉନ୍ନତି କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସବୁ ଘରକୁ ସବୁ ପରିବାରକୁ ପାଇପ ପାଣି ଯୋଗାଇବାରେ ଦେଶର ଅଳ୍ପ କେତେକ ଜିଲ୍ଲା ମଧ୍ୟରୁ ମୟୂରଭଞ୍ଜ ଦେଶର ପ୍ରଥମ ଜିଲ୍ଲା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିପାଇଁ ୭୬୮ କୋଟି ଟଙ୍କା ଖର୍ଚ୍ଚ ହେବ ।

ତେବେ ଆଗାମୀ ଖରିଫ ଋତୁ ରୁ ଦେଓ ଜଳସେଚନ ପ୍ରକଳ୍ପରୁ ୧୦ ହଜାର ହେକ୍ଟର ଜମିକୁ ପାଣି ଯୋଗାଇ ଦିଆଯିବ । ଆଗାମୀ ୨-୩ ବର୍ଷ ମଧ୍ୟରେ ପ୍ରାୟ ୧୫ ଟି ଜଳସେଚନ ପ୍ରକଳ୍ପ ସଂପୂର୍ଣ୍ଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ତେଣୁ ଜଳ ଏକ ଅମୂଲ୍ୟ ସମ୍ପଦ ଏହାକୁ ନଷ୍ଟ ନ କରି ଠିକ ଭାବେ ବିନିଯୋଗ କରିବାକୁ ପରାମର୍ଶ ଦେବା ସହ ସରକାର ସବୁବେଳେ ଚାଷୀଙ୍କ ସାଥିରେ ଅଛି ଓ ସେମାନଙ୍କ ଉନ୍ନତି ଲାଗି କାମ କରୁଛି ।

ସେହିପରି କାଳିଆ ଯୋଜନାରେ ୬୭ ଲକ୍ଷ ଚାଷୀ ପରିବାର ଉପକାର ପାଇଛନ୍ତି । ସରକାରଙ୍କ ବିଭିନ୍ନ କୃଷିକଲ୍ୟାଣ କାର୍ଯ୍ୟକ୍ରମ ଯୋଗୁ ଚାଷୀ ଆଜି ସମ୍ମାନର ସହ ବଞ୍ଚି ପାରୁଛି। ତେଣୁ ଚାଷୀକୁ ତାର ହକ ଦେବା ଆମର ଲକ୍ଷ ଏବଂ ଚାଷୀର ହକ ମିଳିଲା ପର୍ଯ୍ୟନ୍ତ ଆମର ଲଢେଇ ଜାରି ରହିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଛନ୍ତି ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ପଞ୍ଚାୟତିରାଜ ଓ ପାନୀୟ ଜଳ , ଆଇନ , ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଥିଲେ ଯେ ମୟୂରଭଞ୍ଜର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଅନେକ ପଦକ୍ଷେପ ନେଉଛନ୍ତି । ଆଜିର ପ୍ରକଳ୍ପ ଦ୍ଵାରା ୨୦୨୪ ଜାନୁଆରୀ ସୁଧା ଜିଲ୍ଲାର ୭୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ ବୋଲି ସେ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର , ଉନ୍ନୟନ କମିଶନର ଶ୍ରୀ ପି କେ ଜେନା ଏବଂ ଜଳସଂପଦ ବିଭାଗ ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

ବ୍ରେକିଂ