ଚଳିତ ଖରିଫରେ ରାଜ୍ୟ ବିହନ ନିଗମ ଚାଷୀଙ୍କୁ ୫ ଲକ୍ଷ କ୍ୱିଣ୍ଟାଲ ଧାନ ଯୋଗାଇ ଦେବ

ଭୁବନେଶ୍ୱର: ଚାଷର ଉନ୍ନତ ମୂଳକ ପାଇଁ ଚାଷୀମାନଙ୍କୁ ଯୋଗାଇ ଦିଆଯିବ ଉନ୍ନତ ମାନର ବିହନ । ସଠିକ ସମୟରେ ଓ ନିର୍ଦ୍ଧାରିତ ମୂଲ୍ୟରେ ଯୋଗାଇଦେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଓଡ଼ିଶା ରାଜ୍ୟ ବିହନ ନିଗମ ଦ୍ୱାରା ବିହନ ଯୋଗାଣ ସଂପର୍କରେ ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଡ. ସାହୁ କହିଛନ୍ତି ।

ସେହିପରି ଚାଷୀମାନଙ୍କ ନିକଟରେ ଯେପରି ନିରନ୍ତର ଯୋଗାଣ ହୋଇପାରିବ ସେଥି ନିମନ୍ତେ ସମସ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହ ବିହନ ଯୋଗାଣରେ ଯେପରି ବାଧା ନଉପୁଜେ ସେଥି ନିମନ୍ତେ ଦୃଷ୍ଟି ଦେବାକୁ କହିଛିନ୍ତି ।  ତେବେ ଖରିଫ ଚାଷ ନିମନ୍ତେ ଆଗାମୀ ଏକ ମାସ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଏହି ସମୟ ମଧ୍ୟରେ ଚାଷୀମାନଙ୍କ ନିକଟରେ ସମସ୍ତ ଆବଶ୍ୟକୀୟ ବିହନ ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଏଥିସହ ଚାଷୀମାନେ ଯେପରି ଉନ୍ନତ ମାନର ବିହନ ନିର୍ଦ୍ଧାରିତ ମୂଲ୍ୟରେ ପାଇପାରିବେ ସେଥି ନିମନ୍ତେ କ୍ଷେତ୍ର ସ୍ତରରେ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ବିହନ ଯୋଗାଣ ଦିଗରେ ଅସାଧୁ ବ୍ୟବସାୟୀଙ୍କ ପ୍ରତି ସତର୍କ ଦୃଷ୍ଟି ରଖିବା ପାଇଁ କହିଛନ୍ତି । ଯଦି ବିହନ ଯୋଗାଣ କ୍ଷେତ୍ରରେ କୌଣସି ଅଭିଯୋଗ ଆସେ ତାହେଲେ ତୁରନ୍ତ ତାହାର ସମାଧାନ କରିବା ପାଇଁ ଅଧିକାରୀମାନଙ୍କୁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଛନ୍ତି ।

ଚଳିତ ଖରିଫରେ ଓଡ଼ିଶା ରାଜ୍ୟ ବିହନ ନିଗମ ପକ୍ଷରୁ ୫ ଲକ୍ଷ କ୍ୱିଣ୍ଟାଲ ଧାନ ବିହନ ଯୋଗାଇ ଦେବାର ଲକ୍ଷ୍ୟ ରଖାଯାଇଛି ବୋଲି ବିହନ ନିଗମର ପରିଚାଳନା ନିର୍ଦ୍ଦେଶକ କହିଛନ୍ତି । ବୈଠକରେ ଓଡ଼ିଶା ରାଜ୍ୟ ବିହନ ନିଗମର ଅଧ୍ୟକ୍ଷ ଶ୍ରୀ ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ, କୃଷି ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍. ମୁଥୁକୁମାର, ସମବାୟ ସମିତି ସମୂହର ନିବନ୍ଧକ ଶ୍ରୀ ସୁଶାନ୍ତ କୁମାର ବାରିକଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।

Leave A Reply

Your email address will not be published.

ବ୍ରେକିଂ