ଆଜି ପବିତ୍ର ହେରାପଞ୍ଚମୀ

ପୁରୀ: ଆଜି ପବିତ୍ର ହେରାପଞ୍ଚମୀ । ରଥ ଭାଙ୍ଗିବେ ମାଆ ମହାଲକ୍ଷ୍ମୀ । ଗୁଣ୍ଡିଚାଘରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ରାଗରେ ଭାଙ୍ଗିବେ ନନ୍ଦିଘୋଷ ରଥା । ରଥଯାତ୍ରା ଠାରୁ ପାଞ୍ଚଦିନ ଅର୍ଥାତ ଆଷାଢ଼ ଶୁକ୍ଳ ପଞ୍ଚମୀ ଦିନକୁ ହେରାପଞ୍ଚମୀ କୁହାଯାଏ ।

ରଥଯାତ୍ରାରେ ଜଗନ୍ନାଥ ନିଜ ପତ୍ନୀଙ୍କୁ ଉପେକ୍ଷା କରି ନିଜର ଭାଇ ଓ ଭଉଣୀଙ୍କୁ ନେଇ ଗୁଣ୍ଡିଚା ମନ୍ଦିର ଯିବାପରେ, ମହାଲକ୍ଷ୍ମୀ ରୋଷ ହୋଇ ଏହାର କାରଣ ପଚାରିବା ନିମନ୍ତେ ଏକ ସୁସଜ୍ଜିତ ପାଲିଙ୍କିରେ ଆଡ଼ପ ମଣ୍ଡପକୁ ଯାତ୍ରା କରିଥାନ୍ତି। ତେବେ ମହାଲକ୍ଷ୍ମୀଙ୍କ କ୍ରୋଧ ଜର୍ଜରିତ ରୂପ ଦେଖି ମହାପ୍ରଭୁଙ୍କ ସେବକମାନେ ଗୁଣ୍ଡିଚା ମନ୍ଦିରର ମୁଖ୍ୟଦ୍ୱାର ବନ୍ଦ କରିଦିଅନ୍ତି । ନାକଚଣା ବାଟ ଦେଇ ଜଗମୋହନକୁ ଯାଇ ବିମଳାଙ୍କ ପ୍ରଦତ୍ତ କର୍ପୁରରେ ଲକ୍ଷ୍ମୀ ଆଳତି କରନ୍ତି । ପତ୍ନୀଙ୍କ ରାଗ ଶାନ୍ତ କରିବା ପାଇଁ ମହାପ୍ରଭୁ ଦୁଇଦିନ ମଧ୍ୟରେ ଫେରିଯିବାର ପ୍ରତିଶୃତି ଦେଇ ରଥ ଦକ୍ଷିଣ ମୋଡ଼ କରିବା ନିମନ୍ତେ ବରାଦ କରିଥାନ୍ତି ।

ଲୋକାଚାର ଦୃଷ୍ଟିରୁ ଜଗନ୍ନାଥ ଲକ୍ଷ୍ମୀଙ୍କୁ ସିଂହାସନ ପାଖକୁ ନ ନେବାରୁ କ୍ରୋଧ ଜର୍ଜରିତା ପତ୍ନୀ ରଥର କିଛି ଅଂଶ ଭାଙ୍ଗି ଦେଇ ହେରାଗୌରୀ ସାହି ବାଟେ ଫେରି ଆସନ୍ତି ।  ଜଗନ୍ନାଥ ନିଜ କଥା ରଖିବାରେ ଅସଫଳ ହେବାରୁ ଫେରିବା ଦିନ ବଳଭଦ୍ର ଓ ସୁଭଦ୍ରା ନିଳାଦ୍ରୀ ମଣ୍ଡପକୁ ବିଜେ କଲେ ମଧ୍ୟ ପ୍ରଭୁଙ୍କ ପାଇଁ ଦ୍ୱାର ବନ୍ଦ ରହେ । ଏହା ଲକ୍ଷ୍ମୀ ନାରାୟଣ କଳି ଭାବେ ପରିଚିତ ।

Leave A Reply

Your email address will not be published.

ବ୍ରେକିଂ